୨୫ ଯାଏଁ ଲାଗି ରହିବ ବର୍ଷା, ଝାରସୁଗୁଡା ଓ ସୁନ୍ଦରଗଡରେ ପ୍ରବଳ ବର୍ଷିବ
ଭୁବନେଶ୍ବର:-ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷିବ । ଆଜି ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ଝାରସୁଗୁଡା ଓ ସୁନ୍ଦରଗଡରେ କେତୋଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ଏହାସହ ୨୪ରୁ ୨୫ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୂଆପଡା ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବା ପରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି । ରାଜ୍ୟରେ ସର୍ବାଧିକ ୧୪୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ବରରେ ସର୍ବାଧିକ ୧୨୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।