ୱେଲମାର୍କରେ ପରିଣତ ହେଲା ଲଘୁଚାପ, ଆଜିଠୁ ୧୪ ତାରିଖ ଯାଏ ସାରା ରାଜ୍ୟରେ ବର୍ଷିବ
ଭୁବନେଶ୍ୱର:-ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟାରେ ଅବପାତରେ ପରିଣତ ହେବ । ଆସନ୍ତାକାଲି ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଦେଇ ସ୍ଥଳଭାଗକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ତିନିଦିନ ଧରି ବର୍ଷା ଲାଗିରହିବ ।
ଆସନ୍ତାକାଲି ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟ ଆଦି ୫ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ଆଦି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ରିପୋର୍ଟରୁ ସୂଚନା ମିଳିଛି ।
ଲଘୁଚାପ ପ୍ରଭାବରେ ଆଜିଠୁ ଦୁଇ ଦିନ ଯାଏ ଦକ୍ଷିଣ ଓଡ଼ିଶା ଉପକୂଳରେ ଘଣ୍ଟାକୁ ୪୫ରୁ ୫୫କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବା ପାଇଁ ସତର୍କ କରିଦିଆଯାଇଛି । ଲଘୁଚାପ ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଯେକୌଣସି ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନକୁ ସଜାଗ ରଖିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର ସବୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି ।