ଆସନ୍ତା ୨୪ ଘଣ୍ଟାରେ ରାଜ୍ୟ ଅନେକ ସ୍ଥାନରେ ବର୍ଷା !

ଭୁବନେଶ୍ୱର:-ଗତକାଲି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ହୋଇଛି। ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଫଳରେ ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଏହା ମୌସୁମୀକୁ ସକ୍ରିୟ କରିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ରାଜ୍ୟର ଅନ୍ୟ କିଛି ଅଞ୍ଚଳରେ ସକ୍ରିୟ ହେବା ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ‌ା ଦିଆଯାଇଛି।

ଅନ୍ୟପକ୍ଷରେ ପୂର୍ବ -କେନ୍ଦ୍ରୀୟ ଓ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଛି। ଅର୍ଥାତ୍‌ ଲଘୁଚାପ କ୍ଷେତ୍ରଟି ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ରହିଛି। ଏହା କ୍ରମେ ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶା ତଥା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇଟି ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୍ଵାର୍ଣ୍ଣିଂ ଜାରି କରାଯାଇଛି। ଶୁକ୍ରବାର ସକାଳ ସୁଦ୍ଧା ରାଜ୍ୟର ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ପୁରୀ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର ଗୋଟିଏ/ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *