ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା, ଓଡ଼ିଶାର ଅଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆଜି ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଏବଂ କାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।ସୂଚନା ଅନୁସାରେ ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପ ଯଦି ସମ୍ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୁଏ ତେବେ ରାଜ୍ୟରେ ଆଜିଠାରୁ ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଯଦି ଏହି ଲଘୁଚାପ ସକ୍ରିୟ ନହୁଏ ତେବେ ବର୍ଷାର ମାତ୍ରା କମି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।